୧୦୮ଗରା ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ :ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ୧୦୮ଗରା ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି। ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ ।

ଚତୁର୍ଦ୍ଧା ମୂର୍ତ୍ତି ରତ୍ନବେଦୀରୁ ସ୍ନାନବେଦୀଙ୍କୁ ଓହ୍ଲାଇବେ । ହାତୀ ବେଶରେ ଭକ୍ତଙ୍କୁ ଦେବେ ଦର୍ଶନ । ଅପରାହ୍ନରେ ସେନାପଟା ଲାଗି ହେବା ପରେ ରାତି ୪.୩୦ରେ ମହାପ୍ରଭୁଙ୍କ ମଙ୍ଗଳାର୍ପଣ ପରେ ଚତୁର୍ଦ୍ଧାବିଗ୍ରହ ସ୍ନାନବେଦୀକୁ ଓହ୍ଲାଇବେ ।୧୦୮ ଗରା ସୁବାସିତ ଜଳରେ ଗାଧେଇବେ ଶ୍ରୀଜୀଉ।

ଗଜାନନ ବେଶ ବେଶ ପଛରେ କିମ୍ବଦନ୍ତୀ

ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଥିଲେ। ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ । ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ । ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା ।

ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ । ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା । ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୁଲ ବୁଝିପାରିଲେ । ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି ।

Leave a Reply

Your email address will not be published. Required fields are marked *

error: Content is protected !!